ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା...
ଭୁବନେଶ୍ୱର,୧୯/୦୩ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ନିଆଯାଇଥିବା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି ।
Ad..
ସ୍କୁଲ ଗୁଡିକୁ ଯଥାଶୀଘ୍ର ସକାଳୁଆ କରିବା ପାଇଁ ତୁରନ୍ତ sop ଜାରି କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏଥିସହିତ ଅଙ୍ଗନବାଡି କେନ୍ଦ୍ର ଗୁଡିକ ସମୟ ପରିବର୍ତ୍ତନ କରି ସକାଳ ୭ଟା ରୁ ୯ଟା ମଧ୍ୟରେ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
Ad..
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୧୭ ହଜାରରୁ ଅଧିକ ନଳକୂପ ମଞ୍ଜୁର କରାଯାଇଛି । କୌଣସି ଜାଗାରେ ଯେପରି ପାଣି ପାଇଁ ଅସୁବିଧା ନ ହୁଏ, ତାହାକୁ ଦୃଷ୍ଟିରେ ରଖି ସପ୍ତାହକ ମଧ୍ୟରେ ନଳକୂପ ସ୍ଥାପନ ଓ ମରାମତି କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପଦକ୍ଷେପ ନେବାକୁ କଡା ନିର୍ଦ୍ଦେଶ ଦେଇଥିଲେ । ଯେଉଁସବୁ ଅଞ୍ଚଳରେ ପାନୀୟ ଜଳର ଅଭାବ ପରିଲକ୍ଷିତ ହେଉଛି, ସେ ସବୁ ଅଞ୍ଚଳକୁ ଚିହ୍ନଟ କରି ବୋର୍ୱେଲ ଓ ନଳକୂପର ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ ।
ସେହିପରି ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକ ମାନଙ୍କ ପାଇଁ ଦିନ ୧୧ଟା ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶନାମା ଜାରି କରିବା ପାଇଁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।
ଖରା ଦିନେ ବିଦ୍ୟୁତ କାଟ୍ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦିନ ୧୧ଟା ରୁ ୫ଟା ଏବଂ ରାତି ୯ଟା ରୁ ସକାଳ ୬ଟା ପର୍ଯ୍ୟନ୍ତ ଯେପରି ବିଦ୍ୟୁତ କାଟ୍ ନ ହୁଏ, ସେଥିପ୍ରତି ଦୃଷ୍ଟି ଦେବାକୁ ସେ ଶକ୍ତି ବିଭାଗକୁ କଡା ନିର୍ଦ୍ଦେଶ ଦେଇଥିଲେ । ଅଘୋଷିତ ବିଦ୍ୟୁତ କାଟ୍ ଯେପରି ନ ହୁଏ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ସେ କହିଥିଲେ । କାଳବୈଶାଖୀ ସମୟରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ନ ହେବା ପାଇଁ ଆଗୁଆ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ସଭା, ସମିତି ଗୁଡିକୁ ପିକ୍ ଟାଇମ୍ରେ ଅନୁମତି ନ ଦେଇ ସକାଳେ ଓ ମଧ୍ୟାହ୍ନ ରେ କରିବା ପାଇଁ ସେ କହିଥିଲେ। ସାଂସଦ ଓ ବିଧାୟକ ମାନଙ୍କୁ ଏ ବିଷୟରେ ଅବଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏଥିସହିତ ଖରାଦିନେ ଗ୍ରାମାଞ୍ଚଳରେ ନିଆଁ ଲାଗିବାର ସମ୍ଭାବନା ଥିବାରୁ ଅଗ୍ନିଶମ ବିଭାଗ ସଜାଗ ରହିବାକୁ ସେ କହିଥିଲେ ।
ବୈଠକରେ ସମସ୍ତ ଜିଲ୍ଲାପାଳ ଓ ଉପସ୍ଥିତ ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଗୁଆ ଆସିଛି । ରାଜ୍ୟର ଅନେକ ଜିଲ୍ଲାରେ ତାପମାତ୍ରା ଅଧିକ ରହୁଛି । ଯଦିଓ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଗାମୀ ଦିନରେ ତାପମାତ୍ରା କମିବ, ତେବେ ଆମକୁ ସତର୍କତା ଅବଲମ୍ବନ କରିବାକୁ ପଡିବ । ସରକାରୀ ସ୍ତରରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଯାହା SOP ଜାରି କରାଯାଇଛି, ତାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ମାନେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଆବଶ୍ୟକସ୍ଥଳେ SOP ବାହାରେ ମଧ୍ୟ କାମ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ ।
ଜିରୋ କାଜୁଆଲ୍ଟି ଲକ୍ଷ୍ୟ ରଖି ସମସ୍ତେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ସେ କହିଥିଲେ ଯେ ଅଂଶୁଘାତର ମୁକାବିଲା ପାଇଁ ଛାଇ ଓ ପାଣି ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ସହରାଞ୍ଚଳରେ ଟ୍ରାଫିକ ଛକ ଏବଂ ଗ୍ରାମାଞ୍ଚଳରେ ବସ୍ଷ୍ଟାଣ୍ଡ ଗୁଡିକରେ ଛାଇ ପାଇଁ ଟେଣ୍ଟ ବ୍ୟବସ୍ଥା ଓ ଜଳଛତ୍ର ବ୍ୟବସ୍ଥା କରିବା ପାଇଁ ସମସ୍ତେ ଯତ୍ନବାନ ହେବା ପାଇଁ ସେ ପରାମର୍ଶ ଦେଇଥିଲେ ।
ବିଗତ ଦିନରେ ସଚେତନତାମୂଳକ ପ୍ରଚାର ପ୍ରସାର ଜରିଆରେ ଆମେ ସଫଳତା ପାଇଛୁ । ତେଣୁ ଅଂଶୁଘାତରୁ ରକ୍ଷା ପାଇବା ପାଇଁ ଟିଭି, ରେଡିଓ, ଖବରକାଗଜ ଓ ସାମାଜିକ ଗଣମାଧ୍ୟମ ଜରିଆରେ ବ୍ୟାପକ ପ୍ରଚାର ପ୍ରସାର ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ ।
ଗ୍ରାମାଞ୍ଚଳରେ ଗ୍ରୀଷ୍ମଜନିତ ସମସ୍ୟାର ନିରାକରଣ ପାଇଁ ସରକାରୀ ଅଧିକାରୀ ମାନଙ୍କୁ କ୍ଷେତ୍ରକୁ ପଠାଇବା ସହିତ ଜିଲ୍ଲାପାଳ ମାନେ ନିଜେ ମଧ୍ୟ ଏ କ୍ଷେତ୍ରରେ ସଂଶ୍ଳିଷ୍ଟ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଲୋକଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି, ଜିଲ୍ଲାସ୍ତରରେ ହେଉଥିବା ଅଭିଯୋଗ ପ୍ରକୋଷ୍ଠର ଶୁଣାଣୀ ସମୟ ପରିବର୍ତ୍ତନ କରି ସକାଳ ୭ଟା ରୁ ୧୦ଟା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
Edited by k.s thakur...



